ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ପ୍ରଥମାଷ୍ଟମୀରେ ସାଧାରଣତଃ ଘରର ପ୍ରଥମ ସନ୍ତାନଙ୍କୁ ପୂଜା କରାଯାଇଥାଏ । ଘରର ବଡ଼ ପୁଅ ବା ବଡ଼ ଝିଅ ମାମୁଁ ଘରୁ ଆସିଥିବା ନବବସ୍ତ୍ର ପରିଧାନ କରି ବନ୍ଦାପନା ହୋଇ ବିଭିନ୍ନ ସ୍ଵାଦିଷ୍ଟ ପିଠାପଣା ଖାଇବା ବିଧି ଓଡ଼ିଶାର ଏକ ପ୍ରଧାନ ପରମ୍ପରା । ସେହିପରି ମା’ ଭଗବତୀ ମଧ୍ୟ ଏହି ଦିନ ପଢୁଆଁ ହୋଇଥାନ୍ତି । ମା’ ଭଗବତୀଙ୍କ ରିତିନୀତିରେ ପ୍ରଥମାଷ୍ଟମୀ ପର୍ବର ରହିଛି ଯଥେଷ୍ଟ ଗୁରୁତ୍ୱ । ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତି ପ୍ରଥମାଷ୍ଟମୀରେ ପଢୁଆଁ ହେଲା ପରି ଶକ୍ତିକ୍ଷେତ୍ର ବାଣପୁରର ଆରାଧ୍ୟା ଦେବୀ ମା’ ଭଗବତୀ ମଧ୍ୟ ପ୍ରଥମାଷ୍ଟମୀ ଦିନ ପଢୁଆଁ ହୋଇଥାନ୍ତି । ମା’ଙ୍କ ପିତ୍ରାଳୟରୁ ଆସିଥିବା ନବବସ୍ତ୍ର ପରିଧାନ କରି ନୂଆ ଚାଉଳ, ନୂଆ ବିରି, ନଡ଼ିଆ, ଗୁଡ଼ରେ ପ୍ରସ୍ତୁତ ଏଣ୍ଡୁରି ପିଠା ସହ ନାନାଦି ନୈବେଦ୍ୟ ଗ୍ରହଣ କରିବାର ପରମ୍ପରା କାହିଁ କେଉଁ କାଳରୁ ଚଳି ଆସିଛି । ଦେବୀଙ୍କର ମାନବୀୟ ଲୀଳାର ଆଜିର ଏହି ପରମ୍ପରା ଦେବୀ ଭଗବତୀ ପୀଠରେ ଅନନ୍ୟ କହିଲେ ଅତ୍ୟୁକ୍ତି ହେବ ନାହିଁ । ଆଜି ପ୍ରତ୍ୟୁଷରୁ ମା’ଙ୍କ ଦ୍ଵାର ଫିଟା , ଅଙ୍ଗରାଗ, ମାଜଣା, ମହାପ୍ରସାଦ ଅର୍ପଣ, ମଙ୍ଗଳ ଆଳତୀ ବଲ୍ଲଭ ପରେ ମାଙ୍କୁ ପିତା ଦକ୍ଷ ପ୍ରଜାପତିଙ୍କ ଘରୁ ଆସିଥିବା ନବ ପାଟବସ୍ତ୍ରରେ ବେଶ କରାଯାଇ ସାଧାରଣ ଦର୍ଶନ କରାଯାଇଥିଲା । ପରେ ଖେଚେଡି, ଡାଲି, ଏଣ୍ଡୁରି ରେ ଧୁପ କରାଯାଇ ଆରତି ବଢିଥିଲା । ଆଜି ମା’ଙ୍କ ନିମନ୍ତେ ଅଷ୍ଟମୀ ଭାର ସହିତ ନୂତନ ବସ୍ତ୍ର ମା’ଙ୍କ ଛତିଶା ସେବକ ଦଣ୍ଡସେଣା ଦକ୍ଷପ୍ରଜାପତି ମନ୍ଦିରରୁ ଏଣ୍ଡାଓମେଣ୍ଟ ଦ୍ୱାରା ପ୍ରସ୍ତୁତ ଭାର ନେଇ ମନ୍ଦିରରେ ପହଞ୍ଚାଇଥିଲେ । କାରଣ ମା’ ଭଗବତୀ ଦକ୍ଷ ପ୍ରଜାପତିଙ୍କ କନ୍ୟା ଭାବରେ ପୁରାଣରେ ବର୍ଣ୍ଣିତ ଅଛି । ଅନୁରୂପ ଭାବେ ବାଣପୁରର ଆରାଧ୍ୟ ଦେବତା ଶ୍ରୀ ରଙ୍କନାଥ ଦେବ ଏବଂ ଚରଣ ଚକାଦେବଙ୍କ ପିଠରେ ମଧ୍ୟ ପ୍ରଥମାଷ୍ଟମୀ ନିରାଡ଼ମ୍ବର ଭାବେ ପାଳିତ ହୋଇଯାଇଛି ।
ବାଣପୁର ମା ଭଗବତୀ ମନ୍ଦିରରେ ପ୍ରଥମାଷ୍ଟମୀ ପର୍ବ ପାଳିତ !!!

