ସମ୍ବାଦପତ୍ର ହକର ମାନଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ !!!

Spread the love

“ସାମାଜିକ ସୁରକ୍ଷାରେ ସାମିଲ କଲେ”

ରାୟଗଡା ( ଆୱାଜ ମିଡ଼ିଆ ) – ଆଲୋକ ମହାରଣା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି। ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି । ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି । ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି । ରାୟଗଡ ଜିଲ୍ଲାର କାର୍ଯ୍ୟରତ ୧୧୫ଜଣ ସମ୍ବାଦ ପତ୍ର ହକର ଓ ବିତ୍ତରକ ମାନଙ୍କୁ ଏହି ସହାୟତା ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରଦାନ କରିଛନ୍ତି l

ଏହି ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକ ମାନଙ୍କୁ ଖବର କାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମି ନାହିଁ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ। ଦୁର୍ଘଟଣା ଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍‌ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ ।ସୂଚନାଯୋଗ୍ୟ ଯେ ଦୁର୍ଘଟଣାଜନିତ ସଂପର୍ଣ୍ଣ ଅକ୍ଷମତା ଯୋଗୁ ହକର ମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଆଜିର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ରାୟଗଡ ସରୋଜ କୁମାର ମିଶ୍ର, ପିଡି, ଡିଆରଡିଏ ରବି ନାରାୟଣ ତ୍ରିପାଠୀ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ଶ୍ରମ ଅଧିକାରୀ ରାୟଗଡ ଓ ଅନ୍ୟାନ୍ୟ ଅଧିକାରୀ,କର୍ମଚାରୀ , ୩୦ଜଣ ସମ୍ବାଦପତ୍ର ହକର ଓ ବିତରକ ଉପସ୍ଥିତ ଥିଲେ l

Leave a Reply

Your email address will not be published. Required fields are marked *