ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର 26 ତମ ଶିଶୁକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ କର୍ଣ୍ଣାଟକ ରାଜ୍ୟର ବାଙ୍ଗାଲୋର ସହରର ଗୋଟିଏ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି।ଗତ ଲକ ଡାଉନ ଏବଂ ସଟ ଡାଉନ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଏବଂ ସମର୍ପିତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲା ରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ସାଲୋମ ପାରଳାଖେମୁଣ୍ଡିରେ ରଖାଯିବା ସହ ସେମାନଙ୍କର Adoption ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡା କରାଯାଇ ଥିଲା।ପରବର୍ତ୍ତୀ ମୁହୂର୍ତ୍ତରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ।ଯାହା ଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ ତାହା ସମସ୍ତଙ୍କୁ ପୋର୍ଟାଲ ମଧ୍ୟାମରେ ଜଣାଇ ଦିଆଯାଇଥିଲା। ପରବର୍ତ୍ତୀ ମୁହୂର୍ତ୍ତରେ ତିନି ବର୍ଷ ଧରି ସନ୍ତାନ ପାଇଁ ଅନ ଲାଇନ ମଧ୍ୟାମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ।
ଉପରୋକ୍ତ ଦମ୍ପତ୍ତି ଶାରିରୀକ ଭାବେ ଶିଶୁକୁ ପସନ୍ଦ କରି ନେବା ପାଇଁ ସ୍ଥିର କରିଥିଲେ।ତା ପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ଗଜପତି ପ୍ରସ୍ତୁତି କରି ଥିଲେ।ପରବର୍ତ୍ତୀ ମୁହୂର୍ତ୍ତରେ ସମସ୍ତ ଦସ୍ତାବିଜକୁ ଜିଲ୍ଲା ପାଳ ଯାଞ୍ଚ କରିବା ପରେ ଆଜି ଶିଶୁ ଟିକୁ କର୍ଣ୍ଣାଟକ ର ଦମ୍ପତ୍ତି ଙ୍କୁ ହସ୍ତାନ୍ତର କରିଦିଆଯାଇ ଥିଲା।ଏହି ଶିଶୁଟି କନ୍ୟା ରତ୍ନ ହୋଇ ଥିବା ବେଳେ ଶିଶୁ ଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା। ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରମୋଦ କୁମାର ରାଉଳ,ସଦସ୍ୟା ଶ୍ରୀମତି ଅଳକା ସାହୁ, ଗୁରାଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟ ସେବା ଯୋଗାଉ ଥିବା ଡାକ୍ତର ଶ୍ରୀଯୁକ୍ତ ମିଲନ କୁମାର ଅଧିକାରୀ,ନିଶାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ,ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ ।

