ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଓଡ଼ିଶାର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ସେ କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥାଇ ଭୁବନେଶ୍ୱରସ୍ଥିତ ସମ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କର ମୃତ୍ୟୁ ସମ୍ପର୍କରେ ତାଙ୍କ ଝିଅ ସୁନୀତା ବିଶ୍ୱାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଶ୍ରୀ ବିଶ୍ୱାଳ ରାଜ୍ୟର ଏକମାତ୍ର ଆଦିବାସୀ ନେତା ଯିଏ ୨ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ । ୧୯୮୯ ମସିହା ଡିସେମ୍ବର ୭ରୁ ୧୯୯୦ ମାର୍ଚ୍ଚ ୫ତାରିଖ ପର୍ଯ୍ୟନ୍ତ ପ୍ରାୟ ୩ ମାସ ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୯୯୯ ଡିସେମ୍ବର ୬ରୁ ୨୦୦୦ ମାର୍ଚ୍ଚ ୫ତାରିଖ ପର୍ଯ୍ୟନ୍ତ ପ୍ରାୟ ୮ ମାସ ଧରି ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ । ସେ ୨୦୦୯ ମସିହାରେ ସୁନ୍ଦରଗଡ଼ରୁ ସାଂସଦ ଭାବେ ମଧ୍ୟ ବିଜୟୀ ହୋଇଥିଲେ । ସେ ଜଣେ ବରିଷ୍ଠ ଆଦିବାସୀ ନେତା ଭାବେ କଂଗ୍ରେସରେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି ।