ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶୁଭ୍ରାଂଶୁ ଶୁଭମୟ ମହାନ୍ତି : ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ , ଆସନ୍ତା ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ଗଞ୍ଜାମ, ପୁରୀ ଓ ରାୟଗଡ଼ା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ କରାଇଛି . ଉତ୍ତର – ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଆସନ୍ତା ୯ ତାରିଖ ଦିନ ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଳାହାଣ୍ଡି, ଜଗତସିଂହପୁର, ଢେଙ୍କାନାଳ ଓ ଯାଜପୁର ଆଦି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ବରଗଡ଼, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ ଆଦି ଜିଲ୍ଲାର କିଛି କିଛି ଅଞ୍ଚଳରେ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ରହିଛି । ଏଣୁ ଏସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି । ଗତ କାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଗତକାଲିର ଲଗାଣ ବର୍ଷାରେ ରାଜଧାନୀରେ ସୃଷ୍ଟି ହୋଇଥିଲା ଜଳବନ୍ଦୀ ପରିସ୍ଥିତି । ବେହାଲ ହୋଇଥିଲା ଭୁବନେଶ୍ୱର ସହ ପୁରୀର ସ୍ଥିତି । ପୁରୀର ବଡଦାଣ୍ଡରେ ୨ ଫୁଟ ଉଚ୍ଚର ପାଣି ଚାଲୁଥିଲା ।
ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ : ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଏବଂ ୯ ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ !!!

