Site icon Awaj Media

ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ କର୍ଣ୍ଣାଟକ ଦମ୍ପତି !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର 43 ତମ ଶିଶୁକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ପୋଷ୍ୟ ସନ୍ତାନ ଭାବେ କର୍ଣ୍ଣାଟକ ରାଜ୍ୟର ଏକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି । ସୁଚନା ପ୍ରକାରେ ଆଜକୁ ପ୍ରାୟ 6 ମାସ ତଳେ ଉକ୍ତ ଶିଶୁଟିକୁ ରାୟଗଡ଼ ଅଞ୍ଚଳରୁ ଅସହାୟ ଅବସ୍ଥାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଉଦ୍ଧାର କରିଥିଲେ। ଉକ୍ତ ଶିଶୁଟିର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ସାଲୋମ , ପାରଳାଖେମୁଣ୍ଡି ରେ ରଖାଯାଇଥିଲା । ଉକ୍ତ ଶିଶୁଟିର କେହି ନଥିବା ଜାଣିବା ପରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁଟିକୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ତାହାର ଆଡପସନ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା । ଯାହାଦ୍ବାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା । ଚାରିବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା କର୍ଣ୍ଣାଟକ ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ଭାବେ ଶିଶୁଟିକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ। ପରବର୍ତ୍ତି ସମୟରେ ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ କର୍ଣ୍ଣାଟକ ରାଜ୍ୟର ଦମ୍ପତ୍ତି ଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା । ଏହି ଶିଶୁଟି ପୁତ୍ର ସନ୍ତାନ ହୋଇଥିଲା ବେଳେ ଏହାର ବୟସ ମାତ୍ର 4 ବର୍ଷ ! ଶିଶୁଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା । ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶ୍ବିନୀ କୁମାର ମହାପାତ୍ର, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ଥ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Exit mobile version